ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ବୈଠକ

0 123

ପୁରୀ, : ଆସନ୍ତା ଜୁନ ୨୭ରେ ଚଳିତ ବର୍ଷର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସୋମବାର ଅପରାହ୍ନରେ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଦେବସ୍ନାନ
ପୂର୍ଣ୍ଣିମା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳିତ ଭାବେ ପରିଚାଳନା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏଥିରେ ଅଧ୍ୟକ୍ଷତା କରି ଗତ ରଥଯାତ୍ରାର ଅଭିଜ୍ଞତାକୁ ଉପଯୋଗ କରି ଚଳିତ ବର୍ଷ ସମସ୍ତ କାର୍ଯ୍ୟକୁ ସମ୍ମିଳିତ
ଉଦ୍ୟମରେ ସଫଳ କରିବାକୁ ଆହ୍ୱାନ ଦେଇଥିଲେ । ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ ଓ ସ୍ୱେଚ୍ଛାସେବୀ ନିୟୋଜନ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗଗୁଡ଼ିକ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏସପି ବିନୀତ ଅଗ୍ରୱାଲ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ଅବସରରେ ସମସ୍ତ କାର୍ଯ୍ୟର ସଫଳତା ପାଇଁ ସମ୍ମିଳିତ ଭାବେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଅସୁରକ୍ଷିତ ବିଲ୍ଡିଂର ଚିହ୍ନଟ ଓ କାର୍ଯ୍ୟାନୁଷ୍ଠାନ, ଅଗ୍ନି ନିର୍ବାପକ ବ୍ୟବସ୍ଥାର ସମୀକ୍ଷା ଆଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଚଳିତ ବର୍ଷ ଏପ୍ରିଲ ୩୦ରେ ଅକ୍ଷୟ ତୃତୀୟା ତିଥିରେ ରଥକାଠ ଅନୁକୂଳ, ଜୁନ ୧୧ରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୭ରେ ଶ୍ରୀଗୁଣ୍ଡିଚା, ଜୁଲାଇ ୪ରେ ସନ୍ଧ୍ୟା ଦର୍ଶନ, ଜୁଲାଇ ୫ରେ ବାହୁଡା, ଜୁଲାଇ ୬ରେ ସୁନାବେଶ, ଜୁଲାଇ ୭ରେ ଅଧରପଣା ଓ ଜୁଲାଇ ୮ରେ ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି । ରଥ ନିର୍ମାଣ ପାଇଁ ୮୬୫ ଖଣ୍ଡ କାଠର ଆବଶ୍ୟକ ଥିବାବେଳେ ଗତବର୍ଷର ୫୧ ଖଣ୍ଡ ବଳକା କାଠ ଥିବାରୁ ଅବଶିଷ୍ଟ ୮୧୪ ଖଣ୍ଡ କାଠର ଆବଶ୍ୟକତା ରହିଛି । ଇତି ମଧ୍ୟରେ ୧୦୧ ଖଣ୍ଡ କାଠ ପହଞ୍ଚି ସାରିଛି । ସେହିପରି ଅନ୍ୟ ରଥଯାତ୍ରା ଉପଯୋଗୀ ସାମଗ୍ରୀ ପ୍ରସ୍ତୁତ କରାଯାଉଛି ବୋଲି ଉନ୍ନୟନ ପ୍ରଶାସକ ଦେବବ୍ରତ ସାହୁ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡିଏଫଓ ବିବେକ କୁମାର, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶରତ
ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଡଃ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟୋକଲ)ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌରନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ସୁଶୀଲ ମିଶ୍ର, ଦେବୀ ଶଙ୍କର ପ୍ରତାପ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ମନୀଷା ଷଡ଼ଙ୍ଗୀ, ବିଭିନ୍ନ ବିଭାଗର ଅଧିକାରୀ, ଆରକ୍ଷୀ ବାହିନୀର ଅଧିକାରୀଙ୍କ ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.